You are currently viewing ଆସନ୍ତାକାଲିରୁ ରାଜ୍ୟରେ ପୁଣି ବର୍ଷା, ଏସବୁ ଜିଲ୍ଲାକୁ ସତର୍କ ସୂଚନା 

ଆସନ୍ତାକାଲିରୁ ରାଜ୍ୟରେ ପୁଣି ବର୍ଷା, ଏସବୁ ଜିଲ୍ଲାକୁ ସତର୍କ ସୂଚନା 

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର (ଏଏନଏସ): ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ବର୍ତମାନ ଲଘୁଚାପର ରୂପ ନେଇଛି । ଏହି ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସହ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଅବପାତର ରୂପ ନେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ ଏହାର ପ୍ରଭାବରେ ଆସନ୍ତାକାଲି ଠାରୁ ରାଜ୍ୟରେ ପୁଣି ବର୍ଷାର ସମ୍ଭାବନା ରହିଛି। ୧୫ ଓ ୧୬ ତାରିଖରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲୁକା ବର୍ଷାର ସମ୍ଭାବନା ରହିଛି। ୧୬ ତାରଖରୁ ବର୍ଷାର ବିସ୍ତୃତି ବଢ଼ିବା ସହ ୧୭ ଓ ୧୮ ତାରଖରେ ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ମଧ୍ୟମରୁ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ ଘଣ୍ଟାପ୍ରତି ୫୫ରୁ ୬୦ କିମି ବେଗରେ ପବନ ବହିବାର ମଧ୍ୟ ସମ୍ଭାବନା ରହିଛି। ତେଣୁ ଏହାକୁ ଦୃଷ୍ଟିରେ ରଖି ଆଜି ଠାରୁ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ଗଭୀର ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

ପାଣିପାଗ ବିଜ୍ଞାନୀ ଉମା ଶଙ୍କର ଦାସ ଦେଇଥିବା ସୂଚନା ଅନୁସାରେ, ଆସନ୍ତାକାଲି ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, ରାୟଗଡ଼ା, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ସେହିପରି ୧୬ ତାରିଖ ତଥା ଶୁକ୍ରବାର ଦିନ ବର୍ଷାର ମାତ୍ରା ସର୍ବାଧିକ ରହିବ। ୧୬ ତାରିଖରେ ୩ ଜିଲ୍ଲା- ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଯାଜପୁର, ବାଲେଶ୍ୱର ଓ ଢେଙ୍କାନାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୭ ତାରିଖରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, କେନ୍ଦୁଝର ଓ ଯାଜପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଏସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି ।

 

ଅନ୍ୟମାନଙ୍କୁ ଜଣାନ୍ତୁ।