You are currently viewing ମୟୂରଭଞ୍ଜରେ ସ୍ମାର୍ଟ କାର୍ଡ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

ମୟୂରଭଞ୍ଜରେ ସ୍ମାର୍ଟ କାର୍ଡ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

ମୟୂରଭଞ୍ଜ(ଏଏନ୍‌ଏସ୍‌)୨୨/୧୦: ମୟୂରଭଞ୍ଜରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ଼ ବଣ୍ଟନ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜୁ ସ୍ୱାସ୍ଥ୍ୟ କାର୍ଡ ବାଣ୍ଟିବା ସହ ବିଭିନ୍ନ ପ୍ରକଳ୍ପର  ଶୁଭାରମ୍ଭ ଓ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ। ସହିଦ ସ୍ମୃତିଭବନ ପରିସରରେ ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନ କରିଛନ୍ତି।ବାରିପଦା ଛଉ ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ ମୁଖ୍ୟମନ୍ତ୍ରୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ସ୍ୱାସ୍ଥ୍ୟ ଇତିହାସରେ ଆରମ୍ଭ ହୋଇଛି ନୂଆ ଯୁଗ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଦେଶରେ ଏକ ମାଇଲଖୁଂଟ । ଏହି ଯୋଜନା ମାଧ୍ୟମରେ ଲୋକେ ସ୍ୱାସ୍ଥ୍ୟ ସେବା ପାଇପାରିବେ । ମୟୂରଭଞ୍ଜ ଜିଲ୍ଲାରେ ୬ଲକ୍ଷ ହିତାଧିକାରୀ ବିଏସକେୱାଇ ସ୍ମାର୍ଟକାର୍ଡର ଲାଭ ପାଇବେ। ସେହିପରି ଜିଲ୍ଲାବାସୀଙ୍କ ଉଦ୍ଦେଶ୍ୟରେ ୨ ହଜାର କୋଟିରୁ ଉର୍ଦ୍ଧ୍ଵ ଟଙ୍କାର ପ୍ରକଳ୍ପ ଭେଟିଦେଇଛନ୍ତି ନବୀନ। ୪୦୫ଟି ପ୍ରକଳ୍ପର ଶିଳାନ୍ୟାସ ସହିତ ୧୩୪ଟି ପ୍ରକଳ୍ପ ଲୋକାର୍ପଣ  କରିଛନ୍ତି ମୁଖ୍ୟମନ୍ତ୍ରୀ। ସୁସ୍ଥ ଓଡ଼ିଶା ଓ ସୁଖୀ ଓଡ଼ିଶାର ଲକ୍ଷ୍ୟ ରଖି ଅଗଷ୍ଟ ୧୫ ତାରିଖରୁ ଏହି ଡିଜିଟାଲ କାର୍ଡର ଶୁଭାରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ। ବିଜୁ ସ୍ୱାସ୍ଥ୍ୟ କାର୍ଡରେ ମହିଳାମାନେ ୧୦ଲକ୍ଷ ଓ ପୁରୁଷମାନେ ୫ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସହାୟତା ପାଇବେ। ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ୩କୋଟି ଲୋକ ଏହି ଯୋଜନାରେ ଉପକୃତ ହେବେ। ସୂଚନା ଅନୁଯାୟୀ ମୁଖ୍ୟମନ୍ତ୍ରୀ ହେଲିକାପ୍ଟର ଯୋଗେ ପ୍ରଥମେ ବାରିପଦା ଛଉ ପଡ଼ିଆ ଅସ୍ଥାୟୀ ହେଲିପ୍ୟାଡ଼ରେ ଓହ୍ଲାଇଥିଲେ । ସେଠାରୁ ସେ ସହିଦ ସ୍ମୃତି ଭବନରେ ପହଞ୍ଚିଥିଲେ । ସେଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁଦାମ ମାରାଣ୍ଡି ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ । ଏହାପରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଏକ ୪ ମିନିଟର ଭିଡ଼ିଓ ପ୍ରଦର୍ଶିତ ହୋଇଥିଲା । ଏହାପରେ ମୁଖ୍ୟମନ୍ତ୍ରୀ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ଼ ବଣ୍ଟନର ଶୁଭାରମ୍ଭ କରିଥିଲେ। ଅନ୍ୟପକ୍ଷରେ ଆଗକୁ ଆସୁଥିବା ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ଏପରି ଘୋଷଣା ବିଜେଡି ପାଇଁ ଉତ୍ସାହ ଆଣିଦେଇଥିବା ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।