puri

ଆଜି ମହାପ୍ରଭୁଙ୍କ କାଳୀୟଦଳନ ବେଶ

ପୁରୀ (ଏଏନ୍ଏସ୍): ଆଜି ମହାପ୍ରଭୁଙ୍କ କାଳୀୟ ଦଳନ ନୀତି। ଭାଦ୍ରବ କୃଷ୍ଣ ପକ୍ଷ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ କାଳୀୟଦଳନ ବେଶ ଓ ଧେନୁକାସୁର ବଧ ପ୍ରସ୍ତାବ ଅନୁଷ୍ଠିତ ହୋଇଥାଏ। ଗତକାଲି ଠାକୁରଙ୍କ ବଣଭୋଜି ବେଶ, କୋଳିବିକା, ବକାସୁର ଓ ଅର୍ଘ୍ୟସୁର ବଧ ନୀତି ଅନୁଷ୍ଠିତ ହୋଇଥିଲା। ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ବଢିବା ପରେ ମଦନମୋହନ ଓ ରାମକୃଷ୍ଣଙ୍କୁ ପୂଜାପଣ୍ଡା ସାମନ୍ତ ଆଜ୍ଞାମାଳ ବିଜେ କରାଇବା ପରେ ପୁଷ୍ପାଳକ ସେବକ ମାନେ ମହାପ୍ରଭୁଙ୍କୁ ଝୁଲଣ ମଣ୍ଡପ ନିକଟରେ ଥିବା ପାଲିଙ୍କିରେ ବିଜେ କରାଇବେ।

ଏହା ପରେ ଠାକୁର ମାନେ ଶ୍ରୀମନ୍ଦିର ବେଢା ପରିକ୍ରମା କରି ଲୋକନାଥ ରୋଡ୍ ସ୍ଥିତ ଲବଣୀଖିଆ ମଣ୍ଡପକୁ ବିଜେ କରିବେ। ସେଠାରେ ବନ୍ଦାପନା, ଶୀତଳ ଭୋଗ ଇତ୍ୟାଦି ନୀତି ସମାପନ ପରେ ମାର୍କଣ୍ଡ ପୁଷ୍କରିଣୀଠାରେ ମହାପ୍ରଭୁଙ୍କ କାଳୀୟଦଳନ ଲୀଳା ସମାପନ ହେବ। ପରେ ଶୀତଳ ଭୋଗ ଓ ବନ୍ଦାପନା ହୋଇ ମହାପ୍ରଭୁ ବାହୁଡା ବିଜେ କରିବା ପରେ ଜୟବିଜୟ ଦ୍ୱାରରେ ଏକାଦଶୀ ଭୋଗ ଓ ବନ୍ଦାପନା ନୀତି ବଢିବା ପରେ ଠାକୁର ଦକ୍ଷିଣୀ ଘରକୁ ବିଜେ କରିବେ। ଏହାପରେ ଅନ୍ୟାନ୍ୟ ନୀତି ବଢିବା ପରେ ରତ୍ନ ସିଂହାସନ ଉପରେ ବିରାଜିତ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ କାଳୀୟଦଳନ ବେଶରେ ସଜ୍ଜିତ କରାଯିବ ।

ଅନ୍ୟମାନଙ୍କୁ ଜଣାନ୍ତୁ।